ପରବର୍ତ୍ତୀ ଆଦେଶ ପର୍ଯ୍ୟନ୍ତ କୃଷି ଆଇନ ଉପରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
1 min read
ନୂଆଦିଲ୍ଲୀ : ନୂଆ କୃଷି ଆଇନକୁ ନେଇ କେନ୍ଦ୍ର ସରକାର ଓ କୃଷକ ସଂଗଠନମାନଙ୍କ ମଧ୍ୟରେ ଚାଲିଥିବା ଅଚଳାବସ୍ଥାର ଅବସାନ ପାଇଁ ସୁପ୍ରିମକୋର୍ଟ ଆଜି ଏହି ଆଇନକୁ ପରବର୍ତ୍ତୀ ଆଦେଶ ପର୍ଯ୍ୟନ୍ତ ସ୍ଥଗିତ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଏହା ସହିତ କୋର୍ଟ ଏକ କମିଟି ଗଠନ କରିବାକୁ ଘୋଷଣା କରିଛନ୍ତି । ଏହି କମିଟି ନୂଆ ଆଇନ, କୃଷକମାନଙ୍କ ଆପତ୍ତି ଅଭିଯୋଗ ଆଦି ସମ୍ପର୍କରେ ପୁଙ୍ଖାନୁପୁଙ୍ଖ ତର୍ଜମା କରି କୋର୍ଟଙ୍କୁ ଏକ ରିପୋର୍ଟ ପ୍ରଦାନ କରିବ । ଯେଉଁମାନେ ଏହି ସମସ୍ୟାର ସମାଧାନ ଚାହାନ୍ତି ସେମାନେ ନିଜର ସମସ୍ୟାକୁ ନେଇ କମିଟି ନିକଟକୁ ଯିବା ଉଚିତ ବୋଲି ସୁପ୍ରିମକୋର୍ଟ କହିଛନ୍ତି ।
କୃଷକମାନଙ୍କ ଓକିଲ ଏମଏଲ ଶର୍ମା କହିଥିଲେ ଯେ ଆନ୍ଦୋଳନକାରୀମାନେ ପ୍ରଧାନମନ୍ତ୍ରୀଙ୍କ ସହ ଆଲୋଚନା ପାଇଁ ଚାହୁଁଛନ୍ତି । କିନ୍ତୁ ପ୍ରଧାନମନ୍ତ୍ରୀ ଆସୁନାହାନ୍ତି । ଏହାର ଜବାବରେ ସୁପ୍ରିମକୋର୍ଟ କହିଥିଲେ ଏଥିପାଇଁ କୋର୍ଟ ପ୍ରଧାନମନ୍ତ୍ରୀଙ୍କୁ ନିର୍ଦ୍ଦେଶ ଦେଇପାରିବେ ନାହିଁ ।ପ୍ରଧାନ ବିଚାରପତି ଜଷ୍ଟିସ ଏସଏ ବୋବଡ଼େ କହିଛନ୍ତି ଯେ ଏହି କମିଟି ପ୍ରକୃତ ସମସ୍ୟା କେଉଁଠି ରହୁଛି ତାହା ବାହାର କରିବ । କୃଷକମାନେ କମିଟି ନିକଟକୁ ଯିବାକୁ ଚାହୁଁ ନାହାନ୍ତି ବୋଲି କରାଯାଉଥିବା ଯୁକ୍ତିକୁ ଗ୍ରହଣ କରାଯିବ ନାହିଁ ।ସୁପ୍ରିମକୋର୍ଟ ଆହୁରି ମଧ୍ୟ କହିଛନ୍ତି ଯେ ଅଚଳାବସ୍ଥାକୁ ଦୂର ପାଇଁ ଆଇନକୁ ସାମୟିକ ଭାବେ ସ୍ଥଗିତ ରଖାଯାଇପାରେ, କିନ୍ତୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ଏହାକୁ ଅଟକାଇ ହେବ ନାହିଁ । ପୁଣି ବିନା କୌଣସି କାରଣ ଥାଇ ସ୍ଥଗିତାଦେଶ ଦେଇହେବ ନାହିଁ । ଏଣୁ ଯେଉଁମାନଙ୍କର ଆଇନକୁ ନେଇ ଆପତ୍ତି ଅଛି, ସେମାନେ କମିଟି ନିକଟକୁ ଯାଆନ୍ତୁ ।